ବ୍ୟୁରୋ: ଜଟଣୀ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆଜି ୩୮ତମ ବର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଟଣୀ ତହସିଲଦାର ପ୍ରୀତିପର୍ଣ୍ଣା ମିଶ୍ର ଯୋଗ ଦେଇଥିବାବେଳେ, ସମ୍ମାନିତ ଅତିଥି ଭାବେ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ଡ଼ ତପନ କୁମାର ପଣ୍ଡା ଯୋଗଦେଇଥିଲେ।
ସେହିପରି ମୁଖ୍ୟବକ୍ତା ଭାବେ ମାଲ୍ୟଗିରି ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼ ଅନିଲ କୁମାର ମିଶ୍ର ଯୋଗଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅଶୋକ କୁମାର ଶର୍ମା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମାନସ ରଞ୍ଜନ ଜେନା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ୨୦ବର୍ଷରୁ ଉର୍ଦ୍ଧ ସମୟ ଧରି ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ୪ଜଣ ଗୁରୁଜୀ ଗୁରୁମାଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।
ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯିବା ସହ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ କମିଟିର ସଭାପତି ପ୍ରସନ୍ନ କୁମାର ରଥ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ। ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମାମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।